Job 29

ଆୟୁବଙ୍କ ଶେଷ ଅଭିଯୋଗ

1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା’ନ୍ତି; 3ସେତେବେଳେ ତାହାଙ୍କ ପ୍ରଦୀପ ମୋ’ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;

4ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ’ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା; 5ସେତେବେଳେ ସର୍ବଶକ୍ତିମାନ ପରମେଶ୍ଵର ମୋ’ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋ’ ଚତୁଃପାର୍ଶ୍ୱରେ ଥିଲେ; 6ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ’ ପାଇଁ ତୈଳ-ନଦୀ ବହାଇଲା।

7ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 8ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।

9ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; 10କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।

11କାରଣ କର୍ଣ୍ଣ ମୋ’ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ’ ପକ୍ଷରେ ସାକ୍ଷ୍ୟ ଦେଲା; 12ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି। 13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ’ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।

14ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା। 15ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି। 16ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ’ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।

17ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି। 18ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;

20ମୋହର ଗୌରବ ମୋ’ଠାରେ ସତେଜ ଥାଏ ଓ ମୋ’ ଧନୁ ମୋ’ ହସ୍ତରେ ନୂତନୀକୃତ ହୁଏ। 21ଲୋକମାନେ ମୋ’ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ। 22ମୋ’ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋ’ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।

23ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ’ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ। 24ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋ’ ମୁଖର ତେଜ ନିସ୍ତେଜ କଲେ ନାହିଁ।

ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।

25

Copyright information for OriULB