Psalms 145

ସ୍ତୁତିଗାନ

ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ।

1ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି;
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
2ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି;
ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;
ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ

ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ
ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।

6ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ;

ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।
7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ
ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।

8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ;

କ୍ରୋଧରେ ଧୀର ଓ ଦୟାରେ ମହାନ।
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;
ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।

10ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ;

ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି
ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ
ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।

13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ

ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।

14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି

ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ;
ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
16ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।

17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ

ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,
ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
19ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ;
ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।

20ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି;

ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ
ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
21

Copyright information for OriULB