Psalms 22

ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ

ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ।

1ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ?
ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ,
ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।

3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍,

ତୁମ୍ଭେ ପବିତ୍ର ଅଟ।
4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ;
ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ;
ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।

6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ;

ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି;
ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା;
ସେ ତାହାକୁ ଉଦ୍ଧାର କରନ୍ତୁ;
ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”

9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;

ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।

11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ;

ସାହାଯ୍ୟକାରୀ କେହି ନାହିଁ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି;
ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ
ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।

14ମୁଁ ଜଳ ପରି ଢଳା ହେଉଅଛି ଓ

ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି।
ମୋହର ହୃଦୟ ମହମ ପରି ହୋଇଅଛି;
ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି;
ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି,
ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।

16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି;

ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି;
ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17ମୁଁ ଆପଣା ଅସ୍ଥିସବୁ ଗଣିପାରେ;
ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।

18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି

ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;
ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।

20ଖଡ୍ଗରୁ ମୋ’ ପ୍ରାଣକୁ ଓ

କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21ସିଂହର ମୁଖରୁ ମୋତେ ନିସ୍ତାର କର;
ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।

22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି;

ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;
ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର;
ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।

24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି।

କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି;
ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି;
ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ;

ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ;
ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ;
ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ
22:27 ତୁମ୍ଭ କିମ୍ବା ତାହାଙ୍କ
ସମ୍ମୁଖରେ ପ୍ରଣାମ କରିବେ।

28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ;

ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ;
ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍,
ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।

30ଏକ ବଂଶ ତାହାଙ୍କର ସେବା କରିବେ;

ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ,
ସେ ଏହା ସାଧନ କରିଅଛନ୍ତି।
31

Copyright information for OriULB